ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ !

ଢେଙ୍କାନାଳ : ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଆଜି ପୂର୍ବାହ୍ନ ୧୧:୩୦ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ସମ୍ମିଳନୀ କକ୍ଷଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି l ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଏହି ସାମ୍ବାଦିକ ସମ୍ମିଳନୀ ରେ ଯୋଗଦେଇ ରାଜ୍ୟ ସରକାରଙ୍କ ମହିଳାମାନଙ୍କ ପାଇଁ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ l ହିତାଧିକାରୀମାନେ ଯେପରି ସଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ସମସ୍ତ ଆବଶ୍ୟକ ବ୍ୟବସ୍ଥା ସଂପର୍କରେ ସୂଚନା ପ୍ରଦାନ ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ । ଯେପରି ଏହି ଯୋଜନା ଅଧିନରେ ଆସୁଥିବା କୌଣସି ହିତାଧିକାରୀ ସୁବିଧାରୁ ବାଦ ନପଡିବେ, ସେଥିପ୍ରତି ଦୃଷ୍ଟି ଦିଆ ଯାଉଛି ବୋଲି ସେ ପ୍ରକାଶ କରିଥିଲେ ।ଯୋଜନା ଅନୁସାରେ ପ୍ରତ୍ୟେକ ହିତାଧିକାରୀ ୫୦,୦୦୦ ଟଙ୍କାର ସହାୟତା ରାଶି ପ୍ରତି ବର୍ଷରେ ୧୦ ହଜାର କରି ୫ ବର୍ଷରେ ପାଇବେ । ପ୍ରତି ବର୍ଷ ୨ଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ୧୦ ହଜାର ଟଙ୍କା ହିତାଧିକାରୀ ମାନଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରେରଣ କରାଯିବ । ହିତାଧିକାରୀ ମାନଙ୍କ ବୟସ ୨୧ ବର୍ଷ ବା ତଦୁର୍ଦ୍ଧ୍ଵ ଏବଂ ୬୦ ବର୍ଷରୁ କମ ହେଉଥିବ । ଆଧାର କାର୍ଡରେ ଉଲ୍ଲିଖିତ ବୟସ ଓ ଜନ୍ମତାରିଖ ବିଚାରକୁ ନିଆଯିବ । ଯୋଜନା ସଂପର୍କରେ ଏବଂ କେଉଁମାନେ ଏହି ଯୋଜନା ଅଧିନରେ ସହାୟତା ପାଇବାକୁ ଯୋଗ୍ୟ ଓ କେଉଁମାନେବାଦ ପଡୁଛନ୍ତି ସେ ସଂପର୍କରେ ବିଶଦ୍ ମାର୍ଗଦର୍ଶିକା ବିଷୟରେ ଜିଲ୍ଲାପାଳ ଆଲୋଚନା କରିଥିଲେ ।ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଦରଖାସ୍ତ ଫର୍ମ ଅଙ୍ଗନବାଡି କେନ୍ଦ୍ର, ଗ୍ରାମ ପଂଚାୟତ କାର୍ଯ୍ୟାଳୟ, କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ବଣ୍ଟନ କରାଯିବ । କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଫର୍ମ ଦାଖଲ ହେବ ଏବଂ ସେଠାରେ ଏହାର ଡିଜିଟାଇଜେସନ ହେବ ଓ ଆବେଦନକାରୀମାନଙ୍କୁ ଫର୍ମ ଦାଖଲର ପ୍ରମାଣ ସ୍ୱୀକୃତିର ପ୍ରିଣ୍ଟ ମିଳିବ । ଆବେଦନକାରୀଙ୍କୁ କୌଣସି ସ୍ତରରେ ଏଥି ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ । ହିତାଧିକାରୀମାନେ ସମସ୍ତେ ଯେପରି ସୁବିଧାରେ ଆବେଦନ କରିପାରିବେ, ସେଥିପାଇଁ ଯଥେଷ୍ଟ ସଂଖ୍ୟକ ଫର୍ମ ସୁବିଧା କରିବାକୁ ବିଡ଼ିଓ ଓ ତହସୀଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି l
ଏହି ପ୍ରରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ର ଏକ ମିଳିତ ବୈଠକ ଅନୁଷ୍ଠିତ ହେଇଯାଇଛି l ଯେଉଁଥିରେ କି ଯୋଜନାର କାର୍ଯ୍ୟକାରିତା ସମୟରେ ଯଦି କେହି ଅସାଧୁ ଲୋକ ମହିଳାମାନଙ୍କ ଠାରୁ ପଇସା ଆଦାୟ କରନ୍ତି କିମ୍ବା ଫର୍ମ ବିତରଣ କିମ୍ବା ସଂଗ୍ରହ ବେଳେ ବିଶୃଙ୍ଖଳା ସୃଷ୍ଟି କରନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ମଡକର ସନ୍ଦୀପ ସମ୍ପତ କହିଥିଲେ lଏହି ସମ୍ମିଳନୀ ରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ଶ୍ରୀମତୀ ଅନିତା ପାତ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମିତା ଶର୍ମା, ଛପାଗଣମାଧ୍ୟମ ଓ ବୈଦ୍ୟୁତିକ ଗଣମାଧ୍ୟମ ର ପ୍ରତିନିଧି ମାନେ ଯୋଗଦେଇଥିଲେ l ପୋଲିସ ପ୍ରଶାସନ ଜିଲ୍ଲା ପ୍ରଶାସନ ମିଳିତ ବୈଠକ ରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ, ହିନ୍ଦୋଳ ଉପଜିଲ୍ଲାପାଳ ଶିବାନନ୍ଦ ସ୍ୱାଇଁ ଓ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ l

Leave A Reply

Your email address will not be published.

18 + twelve =